
ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ରତ୍ନମଣ୍ଡପ ଛାଡି ସ୍ନାନବେଦୀରେ ଶ୍ରୀଜିଉ । ସ୍ନାନ ପରେ ହାତୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ସ୍ନାନ ପରେ ଜ୍ବରରେ ପୀଡିତ ହେବେ ଶ୍ରୀଜିଉ । ୧୫ ଦିନ ଅଣସର ଘରେ ଚାଲିବ ମହାପ୍ରଭୁଙ୍କ ଉପଚାର । ଜ୍ବରରୁ ଭଲ ହେଲା ପରେ ଭାଇଭଉଣୀଙ୍କୁ ସାଥିରେ ନେଇ ନବଦିନାତ୍ମକ ଯାତ୍ରାରେ ବାହାରି ଆସିବେ କାଳିଆ ସାଆନ୍ତେ । ପବିତ୍ର ସ୍ନାନ ପୂର୍ଣ୍ଣିମା ପାଇଁ ପ୍ରଶାସନ ପକ୍ଷରୁ ପୁରୀରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୁରକ୍ଷା ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଧାଡି ପହଣ୍ଡିରେ ଆସି ସ୍ନାନବେଦୀରେ ପ୍ରଭୁ ବଳଭଦ୍ର ତା ପରେ ମା ସୁଭଦ୍ରା ଆଉ ତା ପରେ ମହାପ୍ରଭୁ ଜଗନ୍ନାଥ । ଏହି ପବିତ୍ର ଦିବ୍ୟସ୍ନାନର ସାକ୍ଷୀ ହେବାକୁ ପୁରୀ ବଡଦାଣ୍ଡ ଲୋକାରଣ୍ୟ ହୋଇଉଠିଛି । ଏପଟେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସାନିଧ୍ୟ ଲାଭ କରିଛି ଭକ୍ତର ଆତୁର ନୟନ ।
ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତି ଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବାରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା ।
ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି । ଶାସ୍ତ୍ରମତରେ ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା । ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି ।
ପୌରାଣିକ ମତରେ ଜ୍ୟୋଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା । ଜ୍ୟୋଷ୍ଠମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ଥାନଲୀଳା ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା ମଧ୍ୟ କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି । ଏହା ପଛରେ ଏକ କିମ୍ବଦନ୍ତୀ ରହିଛି । ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ । ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ । ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା ।
ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ । ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା । ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ । ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ । ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି ।