ସୃଷ୍ଟ ଲଘୁଚାପ କାରଣରୁ ଆଗାମୀ ଦୁଇ ଦିନରେ ହୋଇପାରେ ପ୍ରବଳ ବର୍ଷା

ପୁଣି ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ଗୋଟିଏ ପଟେ ରାଜ୍ୟକୁ ପ୍ରବେଶ କରିଛି ମୌସୁମୀ। ମୌସୁମୀ ଆଗମନରେ ଜାରି ରହିଛି ବର୍ଷା।  ଅନ୍ୟପଟେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରୁ ଆଗକୁ ଆହୁରି ବର୍ଷା ଆଶଙ୍କ ସୃଷ୍ଟି ହୋଇଥିବା ସତର୍କ କରାଇ ଦେଇଛି ଭୁବନେଶ୍ବର ପାଣିପାଗ ବିଭାଗ। ଗତକାଲି ଜାରି ପାଣିପାଗ ବୁଲେଟିନ ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ସମ୍ବଲପୁର, ଅନୁଗୋଳ, ବୌଦ୍ଧ, ସୋନପୁର, ବରଗଡ଼, ଦେବଗଡ଼, ବଲାଙ୍ଗିର, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ସମ୍ବଲପୁର, ସୋନପୁର ଓ ବୌଦ୍ଧର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ସୂଚନା ଅନୁଯାୟୀ, ୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ା,ସମ୍ବଲପୁର, ସୋନପୁର, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବଲାଙ୍ଗିର, କଳାହାଣ୍ଡି ଓ ବରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ଓରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୭ ତାରିଖ ସକାଳ ସାଢ଼େ ୮ଟାରୁ ୨୮ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Leave a Reply

Your email address will not be published. Required fields are marked *